ଭୁବନେଶ୍ୱର:ରାଜ୍ୟର ବିଭିନ୍ନ ସରକାରୀ ହାଇସ୍କୁଲମାନଙ୍କରେ ବିଭିନ୍ନ ବିଷୟରେ ଖାଲି ଥିବା ଶିକ୍ଷକ ପଦବୀ ପୂରଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ଖୁବଶୀଘ୍ର ୭୫୪୦ ହାଇସ୍କୁଲ ନିଯୁକ୍ତ ପ୍ରକ୍ରିୟା ଆରମ୍ଭ କରିବା ପାଇଁ ଓଡିଶା ଷ୍ଟାଫ ସିଲେକ୍ସନ କମିଶନଙ୍କୁ ଅନୁରୋଧ କରାଯାଇଛି । ଏହି ପଦବୀ ଗୁଡିକ ପୂରଣ ହେବା ପରେ ରାଜ୍ୟର ସମସ୍ତ ୪୮୪୮ଟି ସରକାରୀ ହାଇସ୍କୁଲର ସବୁ ଶିକ୍ଷକ ପଦବୀ ପୂରଣ ହୋଇପାରିବ । ଟିଜିଟି (କଳା), ଟିଜିଟି (ପିସିଏମ ଓ ସିବିଜେଡ୍), ସଂସ୍କୃତ, ହିନ୍ଦି, ଉର୍ଦ୍ଦୁ, ତେଲୁଗୁ ଓ ଶାରୀରିକ ଶିକ୍ଷକ ପଦବୀ ପୂରଣ ନିମନ୍ତେ ଚୟନ ପ୍ରକ୍ରିୟା ଆରମ୍ଭ କରାଯିବ। ପ୍ରକାଶ ଥାଉ କି, ୨୦୨୧-୨୨ ବର୍ଷରେ କରାଯାଇଥିବା ଦୁଇଟି ଚୟନ ପ୍ରକ୍ରିୟାରେ ୧୩ ହଜାରରୁ ଉର୍ଦ୍ଧ୍ବ ଶିକ୍ଷକ ପଦବୀ ପୂରଣ କରାଯାଇ ବିଭିନ୍ନ ସରକାରୀ ବିଦ୍ୟାଳୟ ମାନଙ୍କରେ ନିଯୁକ୍ତ କରାଯାଇଥିଲା । ସୂଚନାଯୋଗ୍ୟ ଯେ ରାଜ୍ୟ ସରକାରଙ୍କ ୫-ଟି ଉପକ୍ରମରେ ରାଜ୍ୟର ବିଭିନ୍ନ କାର୍ଯ୍ୟକ୍ରମରେ ରୂପାନ୍ତର ଆଣିବା ପ୍ରକ୍ରିୟା ଜାରି ରହିଥିବା ବେଳେ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମକୁ ଗୁରୁତ୍ବ ଦିଆଯାଇ ପିଲାମାନଙ୍କ ପାଇଁ ଆଧୁନିକ ଶିକ୍ଷା ବ୍ୟବସ୍ଥା କରାଯାଇଛି । କମ୍ପୁଟର, ଇଣ୍ଟରନେଟ ଠାରୁ ଆରମ୍ଭ କରି ଇ-ଲାଇବ୍ରେରୀ, ଉନ୍ନତ ଖେଳ ଉପକରଣ ଓ ପଡିଆ ତଥା ଅନ୍ୟାନ୍ୟ ସୁବିଧାର ବିକାଶ କରାଯାଉଛି । ୫-ଟିରେ ନିଯୁକ୍ତି କାର୍ଯ୍ୟକ୍ରମକୁ ମଧ୍ୟ ତ୍ବରାନ୍ବିତ କରାଯାଉଛି । ବିଭିନ୍ନ ବିଭାଗରେ ଥିବା ଖାଲି ପଦବୀ ଗୁଡିକୁ ସଂପୂର୍ଣ୍ଣ ସ୍ବଚ୍ଛତାର ସହିତ କ୍ଷୀପ୍ର ଗତିରେ ପୂରଣ କରାଯାଉଛି । ଗତ କିଛି ବର୍ଷ ମଧ୍ୟରେ ବିଭିନ୍ନ ବିଭାଗର ହଜାର ହଜାର ପଦବୀ ପୂରଣ କରାଯାଇଥିବା ବେଳେ ଏହି ନିଯୁକ୍ତି ପ୍ରକ୍ରିୟା ଆଗକୁ ମଧ୍ୟ ଜାରି ରହିବ ।