କେନ୍ଦୁପତ୍ର ହିତାଧିକାରୀ ଦ୍ବିତୀୟ ପର୍ଯ୍ୟାୟରେ ୧୧୧ କୋଟି ଟଙ୍କା ସହୟତା ପାଇବେ

ଭୁବନେଶ୍ୱର:କେନ୍ଦୁପତ୍ର ହିତାଧିକାରୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଦ୍ବିତୀୟ ପର୍ଯ୍ୟାୟରେ ୧୧୧ କୋଟି ଟଙ୍କାର ସହାୟତା ଘୋଷଣା କରିଛନ୍ତି । ୨୦୨୨ ଫସଲ ବର୍ଷ ପାଇଁ ଏହି ସହାୟତା ମିଳିବ। ପୂର୍ବରୁ ପ୍ରଥମ ପର୍ଯ୍ୟାୟରେ ୮୩ କୋଟି ଟଙ୍କାର ସହାୟତା ହିତାଧିକାରୀଙ୍କ ବ୍ୟାଙ୍କ ଖାତାରେ ସିଧାସଳଖ ଜମା କରାଯାଇଛି । ଦୁଇଟି ପର୍ଯ୍ୟାୟକୁ ମିଶାଇ କେନ୍ଦୁପତ୍ର ହିତାଧିକାରୀମାନେ ୧୯୪ କୋଟି ଟଙ୍କାର ସହାୟତା ପାଇବେ, ଯାହା କି ଗୋଟିଏ ଫସଲ ବର୍ଷରେ ଏକ ସର୍ବକାଳୀନ ରେକର୍ଡ । ରାଜ୍ୟ ସରକାରଙ୍କ ଏହି ଘୋଷଣା ଦ୍ବାରା ୮ ଲକ୍ଷରୁ ଅଧିକ କେନ୍ଦୁପତ୍ର ହିତାଧିକାରୀ ଉପକୃତ ହେବେ। ୭.୭୫ ଲକ୍ଷ କେନ୍ଦୁପତ୍ର ତୋଳାଳୀ ଏବଂ ୪୦ ହଜାର ବନ୍ଧାଳୀ ଓ ସିଜିନାଲ ଷ୍ଟାଫଙ୍କୁ ଏହି ସହାୟତା ମିଳିବ । ପ୍ରତ୍ୟେକ ତୋଳାଳୀଙ୍କୁ ଏକ ହଜାର ଟଙ୍କାର ଆର୍ଥିକ ସହାୟତା ସହିତ ପାଣିବୋତଲ ଓ ଚପଲ ପାଇଁ ଯଥାକ୍ରମେ ୨୦୦ ଓ ୧୬୦ ଟଙ୍କା ମିଳିବ। ସେହିପରି ପ୍ରତ୍ୟେକ ବନ୍ଧାଳୀ ଓ ସିଜିନାଲ ଷ୍ଟାଫଙ୍କୁ ଆର୍ଥିକ ସହାୟତା ଭାବରେ ୧୫୦୦ ଟଙ୍କା ଦିଆଯିବ ।କେନ୍ଦୁପତ୍ର ସଂଗ୍ରହ ହେଉଥିବା ରାଜ୍ୟର ୨୨ଟି ଜିଲ୍ଲା ମଧ୍ୟରୁ ଝାରସୁଗୁଡା ବ୍ୟତୀତ ଅନ୍ୟ ସମସ୍ତ ଜିଲ୍ଲାର ହିତାଧିକାରୀମାନେ ଏହି ସହାୟତା ପାଇବେ । ନିର୍ବାଚନ ଆଚରଣ ବିଧି ଉଠିବା ପରେ ଝାରସୁଗୁଡାର ହିତାଧିକାରୀମାନଙ୍କୁ ଏହି ସହାୟତା ମିଳିବ । ସୂଚନାଯୋଗ୍ୟ ଯେ ପ୍ରଥମ ପର୍ଯ୍ୟାୟରେ ହିତାଧିକାରୀ ମାନଙ୍କୁ ୮୩ କୋଟି ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। କେନ୍ଦୁପତ୍ର ହିତାଧିକାରୀ ମାନେ,ଯେଉଁମାନେ କି ମୁଖ୍ୟତଃ ଅନୁସୂଚିତ ଜାତି ଓ ଜନଜାତି ବର୍ଗର ଅଟନ୍ତି, ସେମାନଙ୍କ ଜୀବନଧାରଣ ମାନର ଉନ୍ନତିରେ ଏହି ଘୋଷଣା ସହାୟକ ହେବ।

Leave a Reply

Your email address will not be published. Required fields are marked *