ଆଜି ପର୍ଯ୍ୟନ୍ତ କାଳିଆ ଯୋଜନାରେ ଚାଷୀ ମାନଙ୍କୁ ୧୨,୫୦୦ କୋଟି ଟଙ୍କା ସହାୟତା ଦିଆ ଯାଇଛି- ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ପବିତ୍ର ନୂଆଁଖାଇ ପର୍ବ ଅବସରରେ ରାଜ୍ୟର ୪୪ ଲକ୍ଷ ୫୬ ହଜାର ଚାଷୀ ପରିବାର କାଳିଆ ସହାୟତା ପାଇଛନ୍ତି । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନଫରେନ୍ସ ଜରିଆରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଏହି ସହାୟତା ପ୍ରଦାନ କରିଛନ୍ତି । ରବି ଫସଲ ପାଇଁ ଏହି ସହାୟତା ଦିଆଯାଇଛି । ପ୍ରତ୍ୟେକ ଚାଷୀ ପରିବାରଙ୍କ ବ୍ୟାଙ୍କ୍ ଆକାଉଣ୍ଟ କୁ ୨୦୦୦ ଟଙ୍କା ଦିଆ ଯାଇଛି । ଏଥିରେ ୪୩ ଲକ୍ଷ ୮୮ ହଜାର କ୍ଷୁଦ୍ର ଓ ନାମ ମାତ୍ର ଚାଷୀ ଥିବା ବେଳେ ୬୮ ହଜାର ୭୫୦ ଜଣ ଭୂମି ହୀନ ଚାଷୀ ପରିବାର ଅଛନ୍ତି । ଏହି ଅବସର ରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ନୂଆଁଖାଇ ର ଶୁଭେଚ୍ଛା ଜଣାଇ କହିଲେ ଯେ ଚାଷୀ ଆମର ଗୌରବ । ମୋ ରାଜ୍ୟର ଚାଷୀ ପରିବାର ସମ୍ମାନର ସହ, ସ୍ୱାଭିମାନର ସହ ବଞ୍ଚୁ ବୋଲି ସେ ଚାହାନ୍ତି । ବିକାଶର ସୁଫଳରେ ଚାଷୀ ସାମିଲ ହେଉ ବୋଲି ସେ କହିଛନ୍ତି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଜି ପର୍ଯ୍ୟନ୍ତ କାଳିଆ ଯୋଜନାରେ ରାଜ୍ୟର ଚାଷୀ ଭାଇ ଭଉଣୀ ମାନଙ୍କୁ ୧୨,୫୦୦ କୋଟି ଟଙ୍କାର ସହାୟତା ଦିଆ ଯାଇଛି । ସେ ପୁଣି କହିଲେ ଯେ ଚାଷୀ ପରିବାର ର ପିଲାମାନେ Doctor, Engineer ହୋଇ, ଭଲ ଭଲ Profession ରେ ଯୋଗ ଦିଅନ୍ତୁ ବୋଲି ସେ ଚାହାନ୍ତି । ଏହାଦ୍ବାରା ସେମାନେ ନିଜ ପରିବାର ପାଇଁ, ସାରା ରାଜ୍ୟ ପାଇଁ ସୁନାମ ଆଣି ପାରିବେ ବୋଲି ମୁଖ୍ୟ ମନ୍ତ୍ରୀ କହୁଥିଲେ । ସୂଚନା ଯୋଗ୍ୟ ଯେ କାଳିଆ ସହାୟତା ପାଉଥିବା ଚାଷୀମାନଙ୍କ ପିଲା ମାନଙ୍କୁ ରାଜ୍ୟ ସରକାର କାଳିଆ Scholarship ଦେଉଛନ୍ତି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଚାଷୀ ଙ୍କ ସୁବିଧା ପାଇଁ ରାଜ୍ୟ ସରକାର ଫସଲ ବୀମା ର Premium ଦେଉଛନ୍ତି । ଏ ବର୍ଷ ୨୨ ଲକ୍ଷରୁ ଅଧିକ ଚାଷୀ ବୀମା ପାଇଁ ପଞ୍ଜିକରଣ କରି ସାରିଲେଣି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । କୃଷି ପାଇଁ ରାଜ୍ୟ ସରକାର ବହୁତ୍ ଯୋଜନା କରିଛନ୍ତି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଚାଷୀମାନେ ଏହାର ସୁଯୋଗ ନେଇ ଓଡ଼ିଶାକୁ କୃଷି କ୍ଷେତ୍ରରେ ଏକ ସମୃଦ୍ଧ ରାଜ୍ୟ ଭାବେ ଗଢ଼ିବା ପାଇଁ ପରାମର୍ଶ ଦେଇଥିଲେ । ସୂଚନା ଯୋଗ୍ୟ ଯେ କାଳିଆ ସହାୟତାରେ କ୍ଷୁଦ୍ର ଓ ନାମ ମାତ୍ର ଚାଷୀ ମାନଙ୍କୁ କୃଷି ପାଇଁ ବିହନ, ସାର, ରୋଗ ପୋକ ପାଇଁ ଔଷଧ ଓ ଯାନ୍ତ୍ରିକ ଉପକରଣ କିଣିବା ପାଇଁ ସିଧା ସଳଖ ସହାୟତା ଦିଆଯାଉଛି । ଏହା ଦ୍ବାରା ସେମାନେ ଋଣ ଗ୍ରସ୍ତ ହେବାର ସମ୍ଭାବନା ରହୁ ନାହିଁ । ଏହା ସହିତ ଭୂମି ହୀନ ଚାଷୀ ମାନଙ୍କୁ ବିଭିନ୍ନ ଜୀବିକା ପାଇଁ ଯଥା ଛେଳି, କୁକୁଡ଼ା, ବତକ ପାଳନ, ମହୁ ଚାଷ, ଛତୁ ଚାଷ ଆଦି ପାଇଁ ମଧ୍ଯ ଏହି ସହାୟତା ଦିଆଯାଉଛି । ଏହି ଅବସରରେ ରାଜ୍ୟ କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ କହିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଦୂର ଦୃଷ୍ଟି ଯୋଗୁ ରାଜ୍ୟରେ ଅନେକ କୃଷି କଲ୍ୟାଣ ଯୋଜନା କାର୍ଯ୍ୟକାରୀ ହେଉଛି । ସେଥି ମଧ୍ୟରୁ କାଳିଆ ଯୋଜନା ସ୍ବତନ୍ତ୍ର। ଏହା ଯୋଗୁ ଚାଷୀମାନେ ଆଉ ବେସରକାରୀ ଅର୍ଥ ଲଗାଣ କାରି ସଂସ୍ଥା କିମ୍ବା ଗାଁ ସାହୁକାର ଉପରେ ନିର୍ଭର କରୁ ନାହାନ୍ତି । ନିଜ ଉପରେ ଚାଷୀମାନଙ୍କ ଆସ୍ଥା ବଢ଼ିଛି । ଗତ ଚାରି ବର୍ଷରେ ରାଜ୍ୟରେ କ୍ରମାଗତ ଭାବେ ରେକର୍ଡ ଉତ୍ପାଦନ ହେଉଛି ବୋଲି ସେ କହିଥିଲେ । ରାଜ୍ୟ ସରକାର କିଛି ବର୍ଷ ହେବ Gender Budgeting କରୁଛନ୍ତି ବୋଲି ପ୍ରକାଶ କରି ସେ କହିଥିଲେ ଯେ ଯୋଜନାର ଅତି କମରେ ୩୦-୩୫ ପ୍ରତିଶତ ଅର୍ଥ ମହିଳା ମାନଙ୍କ ପାଇଁ ଖର୍ଚ୍ଚ ହେଉଛି । ଏହି ଅବସରରେ କେତେକ କାଳିଆ ହିତାଧିକାରୀ ସେମାନଙ୍କ ଅଭିଜ୍ଞତା ବର୍ଣ୍ଣନା କରିଥିଲେ। ଢେଙ୍କାନାଳ IGIT ସରାଙ୍ଗରେ ପଢୁଥିବା ଛାତ୍ରୀ ରାଣୀ ସାହୁ କହିଲେ ଯେ କାଳିଆ ଛାତ୍ର ବୃତ୍ତି ଯୋଗୁ ସେ ଆଜି Engineering ପଢ଼ି ପାରୁଛନ୍ତି । ନ ହେଲେ ହୁଏତ ତାଙ୍କ ସ୍ବପ୍ନ ପୁରଣ ହୋଇ ପାରି ନ ଥାନ୍ତା । ତାଙ୍କ ବାପାଙ୍କୁ କରଜ କରିବାକୁ ପଡ଼ି ଥାନ୍ତା । ତେଣୁ ଏଥିପାଇଁ ସେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ କୃତଜ୍ଞତା ପ୍ରକାଶ କରିଥିଲେ । ସେହିପରି ବଲାଙ୍ଗୀରର ଚାଷୀ ବିନୋଦ ପ୍ରଧାନ, ନବରଙ୍ଗପୁରର ଲଛମା ଭତରା ଓ ବାଲେଶ୍ଵରର ଚାଷୀ ଗିରିଧାରୀ ଗିରି ପ୍ରମୁଖ କାଳିଆ ସହାୟତା ପାଇଁ ସେମାନଙ୍କ ହୃଦୟରୁ ମୁଖ୍ୟମନ୍ତ୍ରୀ ଙ୍କୁ ଧନ୍ୟବାଦ ଦେଇଥିଲେ। କାଳିଆ ଯୋଗୁ ସେମାନଙ୍କୁ ଋଣ କରିବାକୁ ପଡୁ ନାହିଁ । ସେମାନେ ସମସ୍ତେ ଈଶ୍ବରଙ୍କ ନିକଟରେ ମୁଖ୍ୟମନ୍ତ୍ରୀଙ୍କ ଉତ୍ତମ ସ୍ବାସ୍ଥ୍ୟ ଓ ଦୀର୍ଘ ଜୀବନ କାମନା କରିଥଲେ ।ମୁଖ୍ୟମନ୍ତ୍ରୀଙ୍କ ସଚିବ ( 5T) ଶ୍ରୀ ଭି କେ ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ସମବାୟ ସଚିବ ଶ୍ରୀ ଅରବିନ୍ଦ ଅଗ୍ରୱାଲ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ବିଭିନ୍ନ ଜିଲ୍ଲାରେ ଅଧିକାରୀ ଓ ହିତାଧିକାରୀ ମାନେ Video Conference ଜରିଆରେ ଯୋଡ଼ି ହୋଇଥିଲେ । କାର୍ଯ୍ୟକ୍ରମରେ କୃଷି ଓ କୃଷକ କଲ୍ୟାଣ ପ୍ରମୁଖ ସଚିବ ଶ୍ରୀ ଅରବିନ୍ଦ ପାଢ଼ୀ ସ୍ଵାଗତ ଭାଷଣ ଦେଇଥିଲେ ଓ କୃଷି ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରଥିଲେ ।