ନୂଆ ସଂସ୍କୃତି ଓ ବୈଷୟିକ ଜ୍ଞାନର ପ୍ରଭାବ ଭାଷା ଉପରେ ରହୁଛି : ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ।

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ବର୍ଣ୍ଣାଢ୍ୟ ପରିବେଶରେ ପ୍ରଥମ ‘ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ୨୦୨୪’ ଉଦ୍‌ଘାଟନ କରିଛନ୍ତି । ସମ୍ମିଳନୀରେ, ସାରା ରାଜ୍ୟରେ ଏବଂ ଦେଶ ବିଦେଶରେ ଥିବା ସବୁ ଓଡ଼ିଆ ଏକ ସମୟରେ ‘ବନ୍ଦେ ଉତ୍କଳ ଜନନୀ’ ଗାନ କରି ଓଡ଼ିଆ ଭାଷାର ଏହି ମହୋତ୍ସବରେ ସାମିଲ ହୋଇଛନ୍ତି ।

ଓଡ଼ିଆ ଭାଷାର ବିକାଶରେ ଜୀବନବ୍ୟାପୀ ସାଧନା ପାଇଁ ବିଶିଷ୍ଟ ଭାଷାବିତ୍‌ ପ୍ରଫେସର ଦେବୀ ପ୍ରସନ୍ନ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀ ପ୍ରଥମ ‘ବିଶ୍ବ ଓଡିଆ ଭାଷା ସମ୍ମାନ’ରେ ସମ୍ମାନିତ କରିଛନ୍ତି । ଏଥିସହ ଦୁଇ ଓଡ଼ିଆ ଜ୍ଞାନପୀଠ ପୁରସ୍କାର ବିଜେତା ପଦ୍ମବିଭୂଷଣ ଡକ୍ଟର ସୀତାକାନ୍ତ ମହାପାତ୍ର, ପଦ୍ମଭୂଷଣ ଡକ୍ଟର ପ୍ରତିଭା ରାୟ ଏବଂ ପ୍ରଫେସର ଆର୍ଲୋ ଗ୍ରୀଫିଥଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ସମ୍ବର୍ଦ୍ଧିତ କରିଛନ୍ତି ।

ଏହି ସମ୍ମିଳନୀରେ ଆସିବାକୁଥିବା ପ୍ରସ୍ତାବକୁ ଗ୍ରହଣ କରି ରାଜ୍ୟ ସରକାର ଏକ ସ୍ବତନ୍ତ୍ର ‘ଭାଷା ନୀତି’ ପ୍ରସ୍ତୁତ କରିବେ । ଓଡ଼ିଆ ଜାତିର ଭବିଷ୍ୟତ ବିକାଶ ରାସ୍ତାକୁ ଏହା ପ୍ରଶସ୍ତ କରିବ ବୋଲି ମତଦେଇ ଓଡ଼ିଆ ଜାତିର ଏବଂ ଓଡ଼ିଆ ଭାଷାର ଭବିଷ୍ୟତ ଉଜ୍ଜ୍ଵଳ ବୋଲି ମୁଖ୍ୟମନ୍ତ୍ରୀ ଦୃଢ ବିଶ୍ବାସ ପ୍ରକଟ କରିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଛନ୍ତି, ନୂଆ ସଂସ୍କୃତି ଓ ବୈଷୟିକ ଜ୍ଞାନର ପ୍ରଭାବ ଭାଷା ଉପରେ ରହୁଛି । ତେଣୁ ଭାଷାର ସବୁ ଦିଗ ଉପରେ ଆଲୋଚନା ହେଉ । ଭଲ ସାହିତ୍ୟ ସୃଷ୍ଟି ଉପରେ ଏବଂ ଓଡ଼ିଆ ଭାଷାର ଅଧିକ ବ୍ୟବହାର ଉପରେ ଆଲୋଚନା ହେଉ । ଏହି ସମ୍ମିଳନୀରେ ଆମେ ଆମ ଭାଷାର ଇତିହାସ ଜାଣିବା । ବର୍ତ୍ତମାନକୁ ଦେଖିବା ଓ ଭବିଷ୍ୟତ ପାଇଁ ରାସ୍ତା ତିଆରି କରିବା’।